ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି ।
