ହରିହର କାନୁନଗୋଙ୍କ ମତରେ ଜଗନ୍ନାଥଙ୍କ ରଥଯାତ୍ରା ଏକ ବୌଦ୍ଧ ଅନୁଷ୍ଠାନ । ସିଂହଳରେ ଯେଉଁ ରଥଯାତ୍ରା ପାଳିତ ହୁଏ, ସେଥିରେ ବୁଦ୍ଧଙ୍କ ଦନ୍ତକୁ ବୈଶାଖ ଶୁକ୍ଳ ତ୍ରୟୋଦଶୀ ଦିନ ବାହାର କରି ହାତୀ ଉପରେ ଥୋଇ ମହା ସମାରୋହରେ ଶୋଭାଯାତ୍ରାରେ ନିଆଯାଏ ଓ ନଗରର ରାଜମାର୍ଗ ମାନ ବୁଲାଇ ସେହି ଦନ୍ତକୁ ଶେଷରେ ଏକ ମଣ୍ଡପରେ ସ୍ଥାପନ କରାହୁଏ। ସେଠାରେ ଛଅଦିନ ରହିବା ପରେ ପୁଣି ଦନ୍ତ ମନ୍ଦିରକୁ ଫେରି ଆସେ । ପୁରୀରେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ଜଗନ୍ନାଥ ମହାପ୍ରଭୁ କାଷ୍ଠ ନିର୍ମିତ ରଥରେ ବାହାରି ଶୀକ୍ଷେତ୍ରର ବଡ଼ଦାଣ୍ଡ ଅତିକ୍ରମ କରି ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚନ୍ତି ଏବଂ ସେଠାରେ ୭ଦିନ ରହି ପୁଣି ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିରରକୁ ବାହୁଡା ବିଜେରେ ଫେରିଥାନ୍ତି ।
