ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି । ଋଗ୍ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ । ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ । ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ । ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହୋଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାହିୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି ।[୧]
